ମିଶନ ଶକ୍ତି ଗୋଷ୍ଠୀ ସହାୟକ କର୍ମଚାରୀଙ୍କ ଲାଗି ଆର୍ଥିକ ପ୍ୟାକେଜ୍‌ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,(ଏସ୍‌.ନ୍ୟୁଜ):ମିଶନ ଶକ୍ତି ତଥା ଗୋଷ୍ଠୀ ସହାୟକ କର୍ମଚାରୀମାନଙ୍କ ଅନୁରୋଧ କ୍ରମେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟରେ ବିଭିନ୍ନ ପଞ୍ଚାୟତରେ ସେବା ଯୋଗାଉଥିବା ୫୦ ହଜାର ଗୋଷ୍ଠୀ ସହାୟକ କର୍ମଚାରୀ ମାନଙ୍କ ପାଇଁ ଏକ ଆର୍ଥିକ ପ୍ୟାକେଜ ଘୋଷଣା କରିଛନ୍ତି । ଘୋଷଣା ମୁତାବକ ସମସ୍ତ ଗୋଷ୍ଠୀ ସହାୟକ କର୍ମଚାରୀ ମାନଙ୍କୁ ବାର୍ଷିକ ପୋଷାକ ଭତ୍ତା ଭାବରେ ୧୦୦୦ ଟଙ୍କା ମିଳିବ । ସମସ୍ତଙ୍କୁ ପରିଚୟ ପତ୍ର ଯୋଗାଇ ଦିଆଯିବ । ସେମାନଙ୍କ ପସନ୍ଦର ସ୍ମାର୍ଟ ଫୋନ କିଣିବା ପାଇଁ ଗୋଷ୍ଠୀ ସହାୟକ କର୍ମାଚାରୀମାନଙ୍କୁ ଏକକାଳୀନ ୫୦୦୦ ଟଙ୍କା ସହାୟତା ଯୋଗାଇ ଦିଆଯିବ ।

 ସବୁ CRP- CM ମାନଙ୍କୁ ପାରିଶ୍ରମିକ ଭାବରେ ମାସିକ ୩୦୦୦ ଟଙ୍କା ପ୍ରଦାନ କରାଯିବ । ସବୁ CRP- CM ମାନଙ୍କୁ ଗସ୍ତ ଖର୍ଚ୍ଚ ବାବଦ ମାସିକ ୩୫୦ ଟଙ୍କା ପ୍ରଦାନ କରାଯିବ । ଟେଲିଫୋନ ଭତ୍ତା ବାବଦରେ CRP- CM ମାନଙ୍କୁ ମାସିକ ୧୫୦ ଟଙ୍କା ପ୍ରଦାନ କରାଯିବ । ଯାହାଫଳରେ ଏହା ବୃଦ୍ଧି ପାଇ ୨୫୦ ଟଙ୍କାରେ ପହଞ୍ଚିବ ।

ଏହି ପ୍ୟାକେଜକୁ ତୁରନ୍ତ କାର୍ଯ୍ୟକାରୀ କରିବା ପାଇଁ ରାଜ୍ୟ ସରକାର ଆବଶ୍ୟକ ଆର୍ଥିକ ବ୍ୟବସ୍ଥା କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ମିଶନ ଶକ୍ତିକୁ ଆହୁରି ଆଗକୁ ନେବାରେ ପଞ୍ଚାୟତ ସ୍ତରରେ କାମ କରୁଥିବା ଏହି ଗୋଷ୍ଠୀ ସହାୟକ କର୍ମଚାରୀ ମାନଙ୍କର ମହତ୍ୱପୂର୍ଣ୍ଣ ଭୂମିକା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସେମାନଙ୍କୁ ଧନ୍ୟବାଦ ଜଣାଇଛନ୍ତି । ରୂପାନ୍ତରିତ ଓଡ଼ିଶା ଗଠନ ଦିଗରେ ଅଧିକ ପରିଶ୍ରମ କରିବାକୁ ଏହି ଆର୍ଥିକ ପ୍ୟାକେଜ ସେମାନଙ୍କୁ ଉତ୍ସାହିତ କରିବ ବୋଲି ମୁଖ୍ୟମନ୍ତ୍ରୀ ଆଶାପୋଷଣ କରିଛନ୍ତି ।

Leave A Reply

Your email address will not be published.